ବାତ୍ୟା ଅର୍ଣ୍ଣବକୁ ନେଇ ଚିନ୍ତା ବଢ଼ୁଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ବ୍ରହ୍ମପୁର, କୋରାପୁଟ ଓ ନବରଙ୍ଗପୁରରେ ବର୍ଷା ଜାରି ରହିଛି । ବାତ୍ୟା ପ୍ରଭାବକୁ ଦୃଷ୍ଟିରେ ରଖି ୧୦ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ ଜଗତସିଂହପୁରରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଅନୁଦାନପ୍ରାପ୍ତ, ବିଦ୍ୟାଳୟ ଆଜି ଅପରାହ୍ନ ୧ଟା ଠାରୁ ଓ ଆସନ୍ତାକାଲି ପର୍ଯ୍ୟନ୍ତ ବନ୍ଦ ରହିବ । ଏନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି । ଜିଲ୍ଲାରେ ସମସ୍ତ ବିଦ୍ୟାଳୟର ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ନିର୍ଦ୍ଦେଶ ରହିଛି । ତେବେ ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଏଥିସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି । ସେହିପରି ଜଗତସିଂହପୁର ଜିଲ୍ଲାରେ ମଧ୍ୟ ୨୭ ଓ ୨୮ ତାରିଖ ଦୁଇ ଦିନ ପାଇଁ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଅନ୍ୟପଟେ ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ୮ଟି ଜିଲ୍ଲାରୁ ପ୍ରାୟ ୪୮ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଚିହ୍ନଟ କରାଯାଇଛି। ଅନେକ ସମ୍ବେନଶୀଳ ଅଞ୍ଚଳରେ ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇ ଶେଷ ହୋଇସାରିଛି। ଏ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ।






